ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:
ରାଇରଙ୍ଗପୁର, ୯/୧୧/୨୬ – ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ, ରାଇରଙ୍ଗପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର, ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି, ରାଇରଙ୍ଗପୁର ପି ଏ ଆଇ ଟି ଡି ଏ, ଯୋଗରଂଜନ ନାୟକ ଓ ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ତାପସ କୁମାର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୫୯ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୫୦ଗୋଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୯ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା । ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା । ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଜଣଙ୍କୁ ଟ.୨୦,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି । ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।

ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଓଡିଶା ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ତିନି ଜଣ ହିତାଧିକାରୀଙ୍କୁ ଯଥାକ୍ରମେ ମୃତ୍ୟୁ କାଳୀନ ସହାୟତା , ବିବାହ ସହାୟତା ଓ ଉଚ୍ଚ ଶିକ୍ଷା ଗ୍ରହଣ ପାଇଁ ଆର୍ଥିକ ସହାୟତା ଭାବେ ଟ.୩, ୦୫,୦୦୦/-, ଟ.୫୦,୦୦୦/-ଓ ଟ. ୮୪୦୦/- ଅର୍ଥରାଶି ଜିଲ୍ଲାପାଳ ଚେକ ମାଧ୍ୟମରେ ପ୍ରଦାନ କରିଥିଲେ । ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।





